ରଥଯାତ୍ରାରେ ଭିଜିବ ପୁରା ଓଡିଶା । ଜଗା ସହ ରଥରେ ଭିଜିବେ ପୁରା ଭକ୍ତଗଣ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।
କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ ନୟାଗଡ଼ରେ ଅଧିକ ବର୍ଷା ହୋଇପାରେ । ୧୫ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ ତାରିଖରେ ବି ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ ।
ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ଆକଳନ ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଜୁଲାଇ ୧୪ରୁ ୧୭ ତାରିଖ ଭିତରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ।